ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ଦିବସ ସମାରୋହ

ଭୁବନେଶ୍ୱର: ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କେନ୍ଦ୍ର କ୍ୟାବିନେଟର ଅନ୍ୟ ସଦସ୍ୟ । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆଦିଲ୍ଲୀରେ ଏହି ସୂଚନା ଦେଇଛନ୍ତି ।

ଏହା ପୂର୍ବରୁ ପ୍ରବାସୀ ଭାରତୀୟ ଦିବସ ପାଇଁ ମଙ୍ଗଳବାର ନୂଆଦିଲ୍ଲୀରେ ୱେବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ୍,ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଥିଲେ ।

ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବରରେ ସମାରୋହ ଆୟୋଜନ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ  ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ । ଏହି କାର୍ଯ୍ୟକ୍ରମ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହେବ । ସମାରୋହରେ ୭୦୦୦ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇପାରନ୍ତି ।

ସମ୍ମିଳନୀର ପ୍ରଥମ ଦିବସରେ ‘ଯୁବ ପ୍ରବାସୀ ଭାରତୀୟ ଦିବସ’, ଦ୍ୱିତୀୟ ଦିନରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ମୁଖ୍ୟ ସମାରୋହ ଓ ତୃତୀୟ ଦିବସରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗଦେଇ ପ୍ରବାସୀ ଭାରତୀୟ ତୀର୍ଥ ଏକ୍ସପ୍ରେସ୍‌ର ଡିଜିଟାଲ ଫ୍ଲାଗଅପ୍‌ କରିବା କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *